ଏପ୍ରିଲ ୧୯ରୁ ଦଶମ, ଦ୍ୱାଦଶ ଶ୍ରେଣୀର ସମସ୍ତ କ୍ଲାସ୍‌ ବନ୍ଦ

ଭୁବନେଶ୍ବର: ରାଜ୍ୟର ସବୁ ବୋର୍ଡ ପରୀକ୍ଷାକୁ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ। ବର୍ତ୍ତମାନର କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ ମାନଙ୍କର ସ୍ବାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଏଥିସହ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ମେ ୧୮ ଠାରୁ ଆରମ୍ଭ ହେବାକୁ ଥିବା ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। କୋଭିଡ-୧୯ ପରିସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରାଯିବ। ଜୁନ୍‌ ୨୦୨୧ ପ୍ରଥମ ସପ୍ତାହରେ ରାଜ୍ୟ ସରକାର ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା କରାଯିବା ସଂପର୍କରେ ସମୀକ୍ଷା କରିବେ ଏବଂ ଛାତ୍ରଛାତ୍ରୀ ମାନଙ୍କୁ ଉପଯୁକ୍ତ ସମୟ ଦିଆଯାଇ ପରୀକ୍ଷା କରାଯିବା ପାଇଁ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ। ୨୦୨୦-୨୧ ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଏବଂ ଦ୍ବାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ। ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡିବ ନାହିଁ।

ବର୍ତ୍ତମାନ ୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ବାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ୧୯ ଅପ୍ରେଲ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ। ଏହି ନିଷ୍ପତ୍ତି ଓଡ଼ିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ତଥା ଘରୋଇ ବିଦ୍ୟାଳୟ କ୍ଷେତ୍ରରେ ଲାଗୁ ହେବ।

ସେହିପରି CBSE ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସହ ସହବନ୍ଧିତ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ନିମନ୍ତେ ୧୪ ଅପ୍ରେଲରୁ CBSE ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶ କାର୍ଯ୍ୟକାରୀ ହେବ। ଆସନ୍ତା ୧୯ ଅପ୍ରେଲ ଠାରୁ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ସ୍କୁଲ ଓ ସେମାନଙ୍କ ଦ୍ବାରା ପରିଚାଳିତ ହଷ୍ଟେଲ ଗୁଡିକ ମଧ୍ୟ ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି।