ଭଦ୍ରକ ୨୦।୫: ସମ୍ଭାବ୍ୟ ବାତ୍ୟାକୁ ନେଇ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ ନିର୍ଦ୍ଦେଶରେ ଏକ ଜରୁରୀ ବୈଠକ ଭଦ୍ରକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ଜିଲ୍ଲାପାଳ । ଭଦ୍ରକ ଜିଲ୍ଲାର ସମୁଦ୍ର ଉପକୂଳବର୍ତ୍ତୀ ଚାନ୍ଦବାଲି, ବାସୁଦେବପୁର ଏବଂ ଧାମରା ଉପକୂଳରେ ବାତ୍ୟା ପ୍ରକୋପକୁ ଦୃଷ୍ଟିରେ ରଖି ଏହି ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ଗୁରୁତ୍ବ ଦିଆଯାଇଛି ।
ଆଇଏମଡି ଡିଜିଙ୍କ ସୂଚନାନୁସାରେ, ଆସନ୍ତା ୨୨ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । କ୍ରମେ ଏହା ଘନୀଭୂତ ହୋଇ ୭୨ ଘଣ୍ଟା ପରେ ବାତ୍ୟାର ରୂପ ନେବ । ୨୫ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ବାତ୍ୟାର ରୂପ ନେବ । ବାତ୍ୟାରେ ପରିଣତ ହୋଇ ଏହା ଉତ୍ତର-ପଶ୍ଚିମ ଦିଗରେ ଆଗେଇବ । ବର୍ତ୍ତମାନ ଆକଳନ ଅନୁଯାୟୀ ୨୬ ତାରିଖ ସକାଳେ ଉପକୂଳ ଛୁଇଁବ । ଓଡ଼ିଶା-ପଶ୍ଚିମବଙ୍ଗ ମଧ୍ୟରେ ଉପକୂଳ ଛୁଇଁବା ନେଇ ଅନୁମାନ କରାଯାଉଛି ।
ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଲୋକଙ୍କୁ ସତର୍କ ରହିବାକୁ ଏବଂ ଆବଶ୍ୟକ ସ୍ଥଳେ ନିରାପଦ ସ୍ଥାନକୁ ଚାଲିଯିବାକୁ ପରାମର୍ଶ ଦିଆଯିବ ବୋଲି ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା ହୋଇଥିଲା ବୋଲି ସୂଚନା ମିଳିଛି । ଏଥିସହ ଉପକୂଳ ଅଞ୍ଚଳରେ ଥିବା ବାତ୍ୟା ଆଶ୍ରୟସ୍ଥଳୀମାନଙ୍କରେ ସମସ୍ତ ଆନୁସଙ୍ଗୀକ ବ୍ୟବସ୍ଥା ଉପରେ ଆଲୋଚନା ହୋଇଥିଲା । ଆବଶ୍ୟକ ପଡିଲେ ଉଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ ବୋଲି ସୂଚନା ଦେଇଛନ୍ତି ଭଦ୍ରକ ଜିଲ୍ଲାପାଳ ଜ୍ଞାନ ଦାସ । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର କଣ୍ଟ୍ରୋଲ ରୁମ୍ ଖୋଲାଯିବାର ବ୍ୟବସ୍ଥା ହେବାକୁ ଥିବା ଜିଲ୍ଲାପାଳ କହିଛନ୍ତି ।