ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୭ ସୂତ୍ରୀ ପରାମର୍ଶ। କୋଭିଡ୍ ପରିଚାଳନା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ, ଡିଜିପି, ବରିଷ୍ଠ ଅଧିକାରୀ ଏବଂ ଜିଲ୍ଲାପାଳ ଓ ଏସପିଙ୍କ ସହ କଥା ହୋଇଛନ୍ତି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ସଂକ୍ରମଣ ମାମଲା ବଢ଼ି ଚାଲିଛି। କୋଭିଡ୍ ଯୋଦ୍ଧାଙ୍କ ନିରନ୍ତର ଉଦ୍ୟମ ଯୋଗୁଁ ରାଜ୍ୟରେ ସ୍ଥିତି ନିୟନ୍ତ୍ରଣରେ ରହିଛି। କରୋନାର ବିରୋଧରେ ଆମକୁ ଦୀର୍ଘ ଦିନ ଧରି ଯୁଦ୍ଧ କରିବାକୁ ପଡ଼ିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
କରୋନା ସଂକ୍ରମଣ ନେଇ କୋଭିଡ୍ ପରିଚାଳନା ସମ୍ପର୍କିତ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟ ପ୍ରଶାସନକୁ ୭ ସୂତ୍ରୀ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଜିଲ୍ଲାସ୍ତରରେ କୋଭିଡ୍ ଚିକିତ୍ସା କେନ୍ଦ୍ର ଗୁଡ଼ିକରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ଏବଂ ମେଡିକାଲ ଅକ୍ସିଜେନ ସୁବିଧା ସବୁଠାରୁ ବଡ଼ ପ୍ରାଥମିକତା । ଏହା ଉପରେ ୨୪ ଘଣ୍ଟିଆ ତଦାରଖ କରାଯିବା ଆବଶ୍ୟକ ।
ଅଧିକ ସଂକ୍ରମଣ ଥିବା ଅଞ୍ଚଳ ଗୁଡିକରେ ଟେଷ୍ଟିଂ, ଟ୍ରେସିଂ ଓ କଣ୍ଟେନମେଣ୍ଟକୁ ଜୋରଦାର କରିବା ।
ICU ଓ HDU ଦାୟିତ୍ୱରେ ଥିବା ଡାକ୍ତରମାନଙ୍କ ଠାରୁ ସିଧାସଳଖ ଫିଡବ୍ୟାକ୍ ନେଇ ସେମାନଙ୍କ ମତାମତ ଭିତ୍ତିରେ ପଦକ୍ଷେପ ।
ଟିକାକରଣ କାର୍ଯ୍ୟକ୍ରମ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଏଥିପାଇଁ ତ୍ରୁଟି ଶୂନ୍ୟ ବ୍ୟବସ୍ଥା କରାଯାଉ । ବୟସ୍କ, ମହିଳା ଓ ଦୁର୍ବଳ ଶ୍ରେଣୀର ଲୋକଙ୍କର ଯତ୍ନ ନିଆଯାଉ । ଯେତେଶୀଘ୍ର ସମ୍ଭବ ଅଧିକ ସଂଖ୍ୟକ ଟିକା ସଂଗ୍ରହ ପାଇଁ ଆମର ଉଦ୍ୟମ ଜାରି ରହିଛି ।
କୋଭିଡ୍ ଚିକିତ୍ସା କରୁଥିବା ବେସରକାରୀ ମେଡିକାଲ ଉପରେ ସତର୍କ ଦୃଷ୍ଟି ରଖ । ସେମାନେ ସରକାରଙ୍କ ନିର୍ଦ୍ଧାରିତ ମୂଲ୍ୟ ଭିତରେ ଲୋକଙ୍କ ଠାରୁ ଅର୍ଥ ସଂଗ୍ରହ କରିବାକୁ ବାଧ୍ୟ । ଯଦି ସେମାନେ ଏହା ନ କରନ୍ତି, ତେବେ ସମ୍ପୃକ୍ତ ହସ୍ପିଟାଲ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର ।
କୋଭିଡ୍ ହସ୍ପିଟାଲ ଗୁଡ଼ିକରେ ହେଲ୍ପ ଲାଇନ୍ ଗୁଡ଼ିକୁ ଅଧିକ କ୍ରିୟାଶୀଳ କରାଯାଉ ଏବଂ ରୋଗୀଙ୍କ ପରିବାର ବର୍ଗଙ୍କୁ ନିୟମିତ ସୂଚନା ଦିଆଯାଉ ।
ଏଭଳି କଠିନ ସମୟରେ ଦୁଃଖୀ ଓ ଅସହାୟ ଲୋକମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ବ୍ୟବହାର କରି ସାହାଯ୍ୟ କର ।