ଭୁବନେଶ୍ୱର,୨୧।୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ସକାଳେ ‘ୱେଲମାର୍କ-ଲୋପ୍ରେସର’ରେ ପରିଣତ ହୋଇଯାଇଛି। ଆସନ୍ତାକାଲି ଅବପାତ ଓ ୨୪ ଘଣ୍ଟାରେ ଗଭୀର-ଅବପାତରେ ପରିଣତ ହୋଇ ଆଗାମୀ ୪୮ଘଣ୍ଟାରେ ପଶ୍ଚିମବଙ୍ଗ-ବଙ୍ଗଳାଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ରଭାବରେ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବନୁମାନ କରିଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏ ଦୁଇ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ବାଲେଶ୍ୱର, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଏହାବ୍ୟତୀତ ୨୨ ଓ ୨୩ ତାରିଖରେ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେଥିପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଓ ଢ଼େଙ୍କାନାଳ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ୨୩ ଓ ୨୪ ତାରିଖରେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।